ଆଜିଠୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଶିଶୁ ଦିବସ ଅବସରରେ ଅନୁଷ୍ଠିତ ହେଉଛି ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ । ମଙ୍ଗଳବାରଠାରୁ ଆସନ୍ତା ୧୬ ତାରିଖ, ଗୁରୁବାର ପର୍ଯ୍ୟନ୍ତ ୟୁନିଟ୍-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଏହି ମହୋତ୍ସବରେ ବ୍ଲକ୍ ଓ ଜିଲ୍ଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଯୋଗ ଦେବେ । ପ୍ରାୟ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିବେ । ଏହି ତିନିଦିନିଆ ମହୋତ୍ସବର ମୁଖ୍ୟ ଆକର୍ଷଣ ସାଜିବ ‘ଆକାଂକ୍ଷୀ ପାଭିଲିୟନ୍’ । ବିଦ୍ୟାଳୟରେ ଆରମ୍ଭ ହୋଇଥିବା ଆକାଂକ୍ଷୀ ପାଠ୍ୟକ୍ରମ ଏବଂ କ୍ଲବ୍ କାର୍ଯ୍ୟକ୍ରମଗୁଡି଼କ ଏହି ପାଭିଲିୟନ୍ରେ ପ୍ରଦର୍ଶିତ ହେବ । ୫-ଟି ବିଦ୍ୟାଳୟ ରୂପାନ୍ତରୀକରଣ ଅଧିନରେ ଗ୍ରହଣ କରାଯାଇଥିବା ବିଭିନ୍ନ ଅଭିନବ ପଦକ୍ଷେପକୁ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଦର୍ଶକମାନେ ଦେଖିପାରିବେ । ଏହି ଉତ୍ସବରେ ରାଜ୍ୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହେବ । ଜିଲ୍ଲାସ୍ତରରୁ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନେ ଏହିସବୁ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜ ପ୍ରତିଭାର ପ୍ରଦର୍ଶନ କରିବେ । ଏହି ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀଙ୍କୁ ଉଦ୍ଯାପନୀ ଉତ୍ସବରେ ପୁରସ୍କୃତ କରାଯିବାର ବ୍ୟବସ୍ଥା ରହିଛି । ଏହା ବ୍ୟତୀତ ଛାତ୍ରଛାତ୍ରୀଙ୍କ ପାଇଁ ମହୋତ୍ସବରେ ଅନେକ ଆକର୍ଷଣୀୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ମଙ୍ଗଳବାର ‘ସୁରଭି’ର ଉଦ୍ଘାଟନୀ ଉତ୍ସବରେ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଉତ୍ତର ଭୁବନେଶ୍ୱର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ଓ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଯୋଗ ଦେଇ ଏହାକୁ ଉଦ୍ଘାଟନ କରିବେ । ଉତ୍ସବର ଦ୍ୱିତୀୟ ଦିନରେ ଛାତ୍ରଛାତ୍ରୀମାନେ ଖଣ୍ଡିଗିରି, ଉଦୟଗିରି, ଧଉଳିଗିରି, ନନ୍ଦନକାନନ, କଳାଭୂମି, ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର, ଅନୁସୂଚିତ ଜାତି ଓ ଜନଜାତି ସଂଗ୍ରାହାଳୟ, ପଠାଣୀସାମନ୍ତ ପ୍ଲାନେଟୋରିୟମ୍ ଓ ନ୍ୟଚୁରାଲ ହିଷ୍ଟ୍ରି ଅଫ୍ ମ୍ୟୁଜିୟମ୍ ପରିଦର୍ଶନ କରିବାର ବ୍ୟବସ୍ଥା କରାଯାଇଛି । ଅପରାହ୍ଣରେ ମୁଖ୍ୟ ଆକର୍ଷଣ ସାଜିବ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ‘ଛାୟା ମିଳିତ ଜାତିସଂଘ’ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଯୋଗ ଦେବେ । ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅତିଥି ଭାବେ ବିଭାଗୀୟ ମନ୍ତ୍ରୀ ଶ୍ରୀ ମାର୍ଣ୍ଡି, ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା (ଶିକ୍ଷା) ଓ ଓଡି଼ଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଶ୍ରୀ ଉପେନ୍ଦ୍ର ତ୍ରିପାଠୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବେ । ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ପ୍ରେରଣାଦାୟୀ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଛି । ସମ୍ମାନିତ ଅତିଥି ଭାବେ ବିଭାଗୀୟ ମନ୍ତ୍ରୀ ଶ୍ରୀ ମାର୍ଣ୍ଡି, ଭୁବନେଶ୍ୱର (ମଧ୍ୟ) ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି ।